ପୁରୁଷୋତ୍ତମ କ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା
ଡକ୍ଟର ଅମୂଲ୍ୟ କୁମାର ପଣ୍ଡା : ସ୍ନାନମଣ୍ଡପରେ ଦକ୍ଷିଣାଭିମୁଖୀ ଶ୍ରୀଜଗନ୍ନାଥାଦିଙ୍କୁ ଯେଉଁମାନେ ଦର୍ଶନ କରନ୍ତି ବା ଆରତୀକୁ ଭକ୍ତି ସହକାରେ ଦର୍ଶନ କରନ୍ତି ସେମାନେ ଅଶ୍ୱମେଧ ଯଜ୍ଞର ଫଳଲାଭ କରନ୍ତି । ସେମାନଙ୍କର ସକଳ ମନୋରଥ ପୂରଣ ହୋଇଥାଏ । ଅନ୍ତ କାଳରେ ସେମାନେ ବୈକୁଣ୍ଠ ପୁରକୁ ଗମନ କରନ୍ତି । ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉସôବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତଭୂମିର ଲୀଳା । ଏହାହିଁ ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ଉଚ୍ଚାରଣ ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉସôବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦୁ୍ୟମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି । ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା । ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି । ସୂଚନାଯୋଗ୍ୟ, ଶାସ୍ତ୍ର ମତରେ ଜ୍ୟେଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟେଷ୍ଠମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ । ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବା ବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ ବିଜେ କରାଇଥାନ୍ତି । ପହଣ୍ଡି ବିଜେ ସମୟରେ ସାତ ପାହାଚ ଉପରେ ଠାକୁରମାନେ ଚୂଳ ଓ ଟାହିଆ ଲାଗି ହୁଅନ୍ତି । ଏହି ସାତପାହାଚ ଉପରେ ଟାହ୍ୟାଲାଗି ହେବାପରେ ଦ୍ୱିତୀୟ ମଙ୍ଗଳାର୍ପଣ ହୁଏ । ତା ପରେ ବନ୍ଦାପନା ଓ ପରେ ପରେ ରାଘବଦାସ ମଠରୁ ଆସିଥିବା ଘଷା ଲାଗି କରାଯାଏ । ତା ପରେ ପନ୍ତି ଖାଇ ଖାଇ ଠାକୁରମାନେ ସ୍ନାନବେଦିକୁ ଯାଇ ନିଜର ଆସ୍ଥାନ ଉପରେ ଅବସ୍ଥାନ କରନ୍ତି । ସୁଆର ବଡୁ ଅମ୍ଭୂଣିଆ ପାଣି ଛିଞ୍ଚନ୍ତି । ଗରାବଡୁ ସୁବର୍ଣ୍ଣକଳସ ଧରି ଶିତଳାଦେବୀଙ୍କ ସମ୍ମୁଖସ୍ଥ ଓ ବର୍ଷତମାମ ଅପବ୍ୟବହୃତ ହୋଇ ରହିଥିବା ସ୍ୱର୍ଣ୍ଣକୂପରୁ ଜଳ ଆଣନ୍ତି । ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ' ବୋଲି କୁହାଯାଏ । ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ୱାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ ବୋଲି ବିଶ୍ୱାସ ରହିଛି । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହ୍ମଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ ।ଏହାକୁ "ପ୍ରତ୍ୟେକ୍ଷ ଅବକାଶ’ କହନ୍ତି । ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ । ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ଲାଗି କରାଯାଇ ବେଶ କରାଯାଏ । ଗୋପାଳତୀର୍ଥ ମଠଦ୍ୱାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ । ତାପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବାପରେ ତାଟି ବନ୍ଧାଯାଏ ଓ ପଟିମୂର୍ତ୍ତି ସ୍ଥାପନା କରାଯାଏ । ତାପରେ ଏହି ଚତୁର୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମା ଠାରୁ ନେତ୍ରୋସôବ ପର୍ଯ୍ୟନ୍ତ ଦୀର୍ଘ ୧୫ ଦିନ ଧରି ଜ୍ୱରରେ ପଡ଼ନ୍ତି । ଏହାକୁ ଅଣସର କୁହାଯାଏ । ଏହି ୧୫ ଦିନ ଭକ୍ତମାନେ ଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ । ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି ।
ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି । ଏହା ପଛରେ ଏକ କିମ୍ବଦନ୍ତୀ ନିହିତ । ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ । ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା । ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୁଲ ବୁଝିପାରିଲେ । ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ହାତୀ ବେଶ ବା ଗଜାନନ ବେଶ ସମ୍ପର୍କରେ ରହିଥିବା କିମ୍ବଦନ୍ତୀ ଅନୁଯାୟୀ ପଞ୍ଚଦଶ ଶତାବ୍ଦୀରେ ମହାରାଷ୍ଟ୍ରରୁ ମହାଗାଣପତ୍ୟ ସମ୍ପ୍ରଦାୟର ଶ୍ରୀ ଗଣପତି ଭଟ୍ଟ ନାମକ ଜୈନିକ ବିଶିଷ୍ଟ ବ୍ରାହ୍ମଣ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ସେ ପ୍ରଭୁ ଗଣେଶଙ୍କ ବଡ଼ ଭକ୍ତ ଥିଲେ । ସ୍ନାନ ପୂର୍ଣ୍ଣିମୀ ଦିନ ଶ୍ରୀମନ୍ଦିରରୁ ପ୍ରବେଶ କରି ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରି ଗଣପତି ଭଟ୍ଟ ସନ୍ତୋଷ ଲାଭ କଲେ ନାହିଁ । ତେଣୁ ନିରାଶ ମନରେ ଶ୍ରୀକ୍ଷେତ୍ରରୁ କିଛି ବାଟ ଯିବା ପରେ ମୁକ୍ତେଶ୍ୱର ଠାରେ ଶୂନ୍ୟବାଣୀ ଶୁଣି ପୁନଶ୍ଚ ଶ୍ରୀମନ୍ଦିରକୁ ଫେରିଆସି ଦେଖନ୍ତି ଯେ, ଠାକୁରମାନେ ତାଙ୍କର ଇଷ୍ଟ ଗଣପତି ରୂପ ଧାରଣ କରି ଧବଳ ରୂପରେ ବଳଭଦ୍ର ଓ କଳା ରୂପରେ ଜଗନ୍ନାଥ ଶୋଭା ପାଉଛନ୍ତି । ଗଣପତି ଭଟ୍ଟ ଏହି ଦୃଶ୍ୟ ଦେଖି ଭକ୍ତି ବିଭୋର ହୋଇପଡ଼ିଲେ ଓ ତତ୍କ୍ଷଣାତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚରଣାବିନ୍ଦରେ ସାଷ୍ଟାଙ୍ଗ ପ୍ରଣିପାତ ପୂର୍ବକ ପ୍ରାର୍ଥନା କରିଥିଲେ । ଗଣପତି ଭଟ୍ଟଙ୍କ ଗଣପତି ବେଶ ଦର୍ଶନର ସ୍ମାରକୀ ସ୍ୱରୂପ ଏହି ବେଶ ହୋଇ ଆସୁଛି ।
ଅରଙ୍ଗାବାଦ, ବରୀ, ଯାଜପୁର
ମୋବାଇଲ - ୮୨୪୯୫୦୨୭୭୬