ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ : ଲକ୍ଷେ କୋଟି ନିବେଶ କରିବ ବେଦାନ୍ତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ :  ଲକ୍ଷେ କୋଟି ନିବେଶ କରିବ ବେଦାନ୍ତ
  • କେନ୍ଦୁଝରରେ ୨ ହଜାର କୋଟିର ଫେରୋ-ଆଲଏଜ୍‌ ପ୍ଲାଣ୍ଟ
  • ଓଡିଶାରେ କରିବ ଦୁଇଟି ଆଲୁମିନିଅମ୍‌ ପାର୍କ
  • ଭବିଷ୍ୟତ ପାଇଁ ହେବ ଗେମଚେଞ୍ଜର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ । ଯାହାଦ୍ୱାରା ରାଜ୍ୟରେ ୧ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ । କେନ୍ଦୁଝର ଠାରେ ୨ ହଜାର କୋଟି ନିବେଶରେ ଅତ୍ୟାଧୁନିକ ଫେରୋ-ଆଲଏଜ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବା ସହ ରାଜ୍ୟରେ ଦୁଇଟି ଆଲୁମିନିୟମ୍‌ ପାର୍କ ମଧ୍ୟ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନୀଲ ଅଗ୍ରୱାଲଙ୍କ ଆଲୋଚନାରୁ ଏହା ଜଣାପଡ଼ିଛି ।

    ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ କେତେକ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଅନୀଲ ଆଲୋଚନା କରିଛନ୍ତି । ରାଜ୍ୟ ସରକାର ମଧ୍ୟ ଏହି ନିବେଶକୁ ପ୍ରୋତ୍ସାହନ ଦେବାପାଇଁ ପ୍ରତିଶ୍ରୁତିବଦ୍ଧ ଅଛନ୍ତି ଏବଂ ଏଥିପାଇଁ ଆବଶ୍ୟକ ଜମି ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ଜଣାଯାଇଛି । ଆଲୋଚନାରୁ ଜଣାଯାଇଛିଯେ, ବେଦାନ୍ତ ପକ୍ଷରୁ ଓଡିଶାରେ ଦୁଇଟି ନୂଆ ଆଲୁମିନିଅମ୍‌ ପାର୍କ ମଧ୍ୟ ପ୍ରତିଷ୍ଠା କରାଯିବ । ଝାରସୁଗୁଡାରେ ଥିବା ଏହାର ଆଲୁମିନିଅମ ପ୍ଲାଣ୍ଟ ନିକଟରେ ଗୋଟିଏ ନୂଆ ଆଲୁମିନିଅମ୍‌ ପାର୍କ ପ୍ରତିଷ୍ଠା କରାଯିବ । ଏହା ସହିତ ରାଜ୍ୟର ଅନ୍ୟ ସ୍ଥାନରେ ଯେଉଁଠି ରାଜ୍ୟ ସରକାର ଜମି ଯୋଗାଇଦେବେ, ସେଠାରେ ମଧ୍ୟ ଆଉ ଏକ ଆଲୁମିନିଅମ୍‌ ପାର୍କ ପ୍ରତିଷ୍ଠା କରାଯିବ । ଏହି ଦୁଇଟି ଅତ୍ୟାଧୁନିକ ପାର୍କରେ ଅତ୍ୟନ୍ତ ଉନ୍ନତ ଗ୍ରେଡ୍‌ର ଆଲୁମିନିଅମ୍‌ ଆଲୟ ପ୍ରସ୍ତୁତ ହେବ । ଏହି ଆଲୁମିନିଅମ୍‌ ଆଲୟ ଏରୋସ୍ପେଶ୍‌, ଇଲେକ୍ଟ୍ରିକ୍‌ ଭେହିକିଲ୍‌ସ ଓ ପ୍ରତିରକ୍ଷା କ୍ଷେତ୍ରରେ ବ୍ୟବହାର ହୋଇପାରିବ । ଏହାଦ୍ୱାରା ଡାଉନ୍‌ଷ୍ଟ୍ରିମ୍‌ ଶିଳ୍ପ କ୍ଷେତ୍ରରେ ବ୍ୟାପକ ପୁଞ୍ଜି ନିବେଶ ଆସିବ ଏବଂ ଏମ୍‌ଏସ୍‌ଏମ୍‌ଇ ଶିଳ୍ପରେ ବିପୁଳ ଅଭିବୃଦ୍ଧି ହୋଇପାରିବ ।

    ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ରାଜ୍ୟ ସରକାର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତର ପରିକଳ୍ପନାର ସଫଳ ରୂପାୟନ ପାଇଁ ପ୍ରତିଶ୍ରୁତିବଦ୍ଧ । ଭିତ୍ତିଭୂମିର ବିକାଶ ତଥା ବେଦାନ୍ତ ଭଳି କମ୍ପାନୀର ପୁଞ୍ଜି ବିନିଯୋଗ ଜରିଆରେ ଓଡିଶା ସରକାର ଏହି ଲକ୍ଷ୍ୟ ହାସଲ କରିବେ । ଶିଳ୍ପ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଏକ ଗ୍ଲୋବାଲ୍‌ ହବ୍‌ ହେବାପାଇଁ ଓଡିଶା ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ । ଆମର ଏହି ଉଦ୍ୟମ ଦ୍ୱାରା କେବଳ ଅର୍ଥନୈତିକ ଅଭିବୃଦ୍ଧି ଆସିବ ନାହିଁ, ଏହାଦ୍ୱାରା ଯୁବବର୍ଗଙ୍କ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି ହେବା ସହିତ ଜନସାଧାରଣଙ୍କୁ ସଶକ୍ତ କରିବ ଏବଂ ୨୦୩୬ ସୁଦ୍ଧା ୫ ଶହ ବିଲିଅନ ଡଲାର ଅର୍ଥନୀତିରେ ପରିଣତ ହେବାପାଇଁ କ୍ଷେତ୍ର ପ୍ରସ୍ତୁତ କରିବ । ଓଡିଶାର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଏହି ପୁଞ୍ଜି ନିବେଶ ଏକ ଗେମ୍‌-ଚେଞ୍ଜର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ବୈଠକରେ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ବେଦାନ୍ତର ଶିଳ୍ପ ପ୍ରକଳ୍ପଗୁଡିକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ସହଯୋଗ ପାଇଁ ଧନ୍ୟବାଦ ପ୍ରଦାନ କରିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।