ଅଧା ଓଡ଼ିଶାରେ ଅଧିକ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଏବେ ଦୀଘା ଦେଇ ପୂର୍ବ ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗରକୁ ଗତି କରୁଛି । ଏହାର ପ୍ରଭାବରେ ଆସନ୍ତା ୨୪ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ଅପରପକ୍ଷରେ ଅଧା ଓଡ଼ିଶାରେ ଅଧିକ ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ତଥ୍ୟରୁ ଜଣାପଡ଼ିଛି ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ଝଟକାପବନର ବେଗ ୩୦ରୁ ୪୦ କିମି ବେଗରେ ପବନ ବହିବା ସହିତ ବଜ୍ରପାତର ସମ୍ଭାବନା ରହିଛି । ସେହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅପରପକ୍ଷରେ ଜୁଲାଇ ୧୭ ସୁଦ୍ଧା ନୂଆପଡ଼ା, ଗଜପତି ଓ ପୁରୀରେ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ ଅଧା ଓଡ଼ିଶାରେ ଅଧିକ ବର୍ଷା ହୋଇଛି । ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କୋରାପୁଟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ଯେତେବେଳେକି ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ନୟାଗଡ଼, ଖୋର୍ଦ୍ଧା, କଟକ ଓ ଯାଜପୁରରେ ସ୍ୱାଭାବିକ ବର୍ଷା ହୋଇଛି ।