ବାତ୍ୟା ଆଶ୍ରୟସ୍ଥଳୀରେ ୮ ଲକ୍ଷ ଲୋକ
cyclone update
ଭୁବନେଶ୍ୱର : ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଆପଣମାନେ ସୁରକ୍ଷିତ ହାତରେ । ଆଦୌ ଆତଙ୍କିତ ହୁଅନ୍ତୁ ନାହିଁ, ସୁରକ୍ଷିତ ରୁହନ୍ତୁ, ସତର୍କ ରୁହନ୍ତୁ । ବାତ୍ୟା ଆତଙ୍କିତଙ୍କୁ ଏଭଳି ଆଶ୍ୱାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଯେଉଁ ସବୁ ଜିଲ୍ଲାରେ ବାତ୍ୟାର ସମ୍ଭାବନା ଅଛି, ସେ ସବୁ ଜିଲ୍ଲାରେ ବିପଦଶଙ୍କୁଳ ଅଞ୍ଚଳରୁ ଯୁଦ୍ଧକାଳୀନ ଭିତ୍ତିରେ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଉଛି । କାଲି ରାତି ସୁଦ୍ଧା ବିପଦଶଙ୍କୁଳ ଅଞ୍ଚଳରୁ ୩୦% ଲୋକଙ୍କୁ ସ୍ଥାନାନ୍ତର କରାଯାଇସାରିଛି । ରାତି ସାରା ସ୍ଥାନାନ୍ତର କାର୍ଯ୍ୟ ଚାଲିଥିବାବେଳେ ଏବେ ସୁଦ୍ଧା ବାତ୍ୟା ଆଶ୍ରୟସ୍ଥଳୀରେ ୮ ଲକ୍ଷ ଲୋକ ଅଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଗଣମାଧ୍ୟମ ନିକଟରେ ନିଜର ବିବୃତି ରଖି, ରାଜ୍ୟବାସୀଙ୍କୁ କୌଣସି ପରିସ୍ଥିତିରେ ଭୟଭୀତ ବା ଆତଙ୍କିତ ନ ହେବାକୁ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି । ବିପଦ ଟଳିବା ପର୍ଯ୍ୟନ୍ତ ସମସ୍ତେ ସୁରକ୍ଷିତ ଓ ସତର୍କ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।
ପରିସ୍ଥିତିକୁ ତଦାରଖ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି । ସେମାନେ ସମସ୍ତେ କ୍ୟାବିନେଟ ବୈଠକ ପରେ ଜିଲ୍ଲାଗସ୍ତରେ ଯାଇଛନ୍ତି । ଏହା ସହିତ ଅଭିଜ୍ଞ ଅଧିକାରୀମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେଯେ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କଟକ ଓ ପୁରୀ ଜିଲ୍ଲା ଅଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ, ଯଦି ଗତିପଥ ବଦଳେ, ତେବେ ଅନ୍ୟାନ୍ୟ ଜିଲ୍ଲା ମଧ୍ୟ ପ୍ରଭାବିତ ହେବାର ସମ୍ଭାବନା ରହିଛି । ସେଥିପାଇଁ ସରକାର ମଧ୍ୟ ପ୍ରସ୍ତୁତ ରହିଛନ୍ତି ।