ଦୀପାବଳି ଓ ଶ୍ରୀକୃଷ୍ଣଙ୍କ ସମ୍ପର୍କ

ଶ୍ରୀକୃଷ୍ଣ ଅତ୍ୟାଚାରୀ ନରକାସୁରକୁ କୃଷ୍ଣ ଚତୁର୍ଦ୍ଦଶୀ ଦିନ ବଧ କରିଥିଲେ ତେଣୁ ଖୁସିରେ ଆଲୋକର ଉତ୍ସବ ପାଳିତ ହେଇଥିଲା । ଏହି ଦିନକୁ ନରକ ଚତୁର୍ଦ୍ଦଶୀ କୁହଯାଏ । ଏ ଦିନ ସୂର୍ଯ୍ୟଦୋୟ କାଳରେ ସମସ୍ତ ଶରୀରରେ ସୁଗନ୍ଧ ତୈଳ ଲଗାଇ ଗାଧୋଈବାର ପ୍ରଥା ଅଛି । ଦ୍ୱାପରଯୁଗରେ ଶ୍ରୀକୃଷ୍ଣ ରାକ୍ଷସ ନରକାସୁରକୁ ମାରି ଚଉଷଠି ସହସ୍ର ରାଜକନ୍ୟାଙ୍କୁ ଉଦ୍ଧାରକଲା ପରେ ଇନ୍ଦ୍ରମାତାଙ୍କୁ ନରକାଦ୍ୱାରା ଅପହୃତ ମଣିକୁଣ୍ଡଳକୁ ଫେରାଇବାକୁ ସତ୍ୟଭାମାଙ୍କୁ ନେଇ ସ୍ୱର୍ଗକୁ ଯାଇଥିଲେ । ସତ୍ୟଭାମାଙ୍କ ଅନୁରୋଧରେ ପାରିଜାତ ବୃକ୍ଷର ଚାରାଟିଏ ଆଣିବାକୁ ଗଲାବେଳେ ଇନ୍ଦ୍ରଙ୍କ ସହିତ ସମସ୍ତଦେବତା ବାଧାଦେବାରୁ ଏକାକି ସବୁଦେବତାଙ୍କୁ ପରାସ୍ତ କରି ପାରିଜାତ ବୃକ୍ଷ ସହ ଅନେକ ଧନରତ୍ନ ନେଇ ଏହିଦିବସରେ ଦ୍ୱାରକା ଫେରିଥିଲେ । ତେଣୁ ଦ୍ୱାରକାବାସୀ ପ୍ରଭୁଙ୍କୁ ସ୍ୱାଗତ ଜଣାଇ ସମଗ୍ରନଗରୀକୁ ଦୀପମାଳାରେ ସଜାଇ, ବାଣ ଫୁଟାଇ ବିଜୟ ଉତ୍ସବ ପାଳନ କରିଥିଲେ । ଋକ୍ ବେଦରୁ ସୂଚନା ମିଳେ ଯେ, ପୃଥିବୀ ଏକଦା ଘୋର ଅନ୍ଧକାର ଭିତରେ ବୁଡି ରହିଥିଲା । କାଳ କ୍ରମେ ସୂର୍ଯ୍ୟଙ୍କର କିରଣ ପାଇ ପୃଥିବୀ ଦିନେ ଆଲୋକିତ ହେଲା । ଏହାକୁ ମନେ ରଖିବା ପାଇଁ ଦୀପାବଳି ଉତ୍ସବ ପାଳନ କରାଯାଏ ।