ନବୀନ ନିବାସରେ ମୋହନ ମାଝୀ

ନବୀନ ନିବାସରେ ମୋହନ ମାଝୀ

ଭୁବନେଶ୍ୱର: ନବୀନ ନିବାସରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶପଥଗ୍ରହଣ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ମୋହନ ମାଝୀ । ସୌଜନ୍ୟମୂଳକ ସାକ୍ଷାତ ପାଇଁ ମୋହନ ମାଝୀ ନବୀନ ନିବାସ ଯାଇଛନ୍ତି । ତେବେ ଗତକାଲି ବିଜେପିର ୫ ନେତା ନବୀନ ନିବାସ ଯାଇ ମୋହନ ମାଝୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା  ପାଇଁ ନିମନ୍ତ୍ରଣ କରିଥିଲେ ।  ଆଜି ଖୋଦ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜେ ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିବା କୁହାଯାଉଛି । 

ଆଜି ଅପରାହ୍ନ ୪ଟା ୪୫ରେ ମୋହନ ମାଝୀ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିବେ । କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ। ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ହେବେ ଉପମୁଖ୍ୟମନ୍ତ୍ରୀ।