ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ
ଭୁବନେଶ୍ୱର: ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ଯୋଜନା (ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ) । ଏନେଇ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଓ ନବୋଦୟ ବିଦ୍ୟାଳୟ ସମିତି ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଗୁଣବତ୍ତା ବୃଦ୍ଧି କରିବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ କରାଯାଇଛି ।
ପିଏମ୍ ଶ୍ରୀ ସ୍କୁଲଗୁଡିକ ଜାତୀୟ ଶିକ୍ଷା ନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ୟ୍ୟ କରିବ । ପିଲାମାନଙ୍କ ଦକ୍ଷତା ବୃଦ୍ଧି କରିବ । ସେମାନଙ୍କ ମଧ୍ୟରେ ବୈଜ୍ଞାନିକ ମନୋଭାବକୁ ବଢାଇବା ଏବଂ କଳା, ସାହିତ୍ୟ ବିଜ୍ଞାନରେ ସୃଜନଶୀଳତା ବୃଦ୍ଧି କରିବା ସହ ସବୁ ଦୃଷ୍ଟିରୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବଢାଇବା ଦିଗରେ ପିଏମ ଶ୍ରୀ ଯୋଜନା ସହାୟକ ହେବ । ଏହା ଜାତୀୟ ଶିକ୍ଷାନୀତିର ପରାମର୍ଶ ଅନୁସାରେ ହୋଇଥିବା ପାଠ୍ୟକ୍ରମ ଓ ପାଠପଢାର ପଦ୍ଧତି, ଶିକ୍ଷକମାନଙ୍କର ପରିବର୍ଦ୍ଧିତ ଦକ୍ଷତାକୁ ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ ।
ଏହି ଯୋଜନାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲକୁ ପିଏମ୍ ଶ୍ରୀ ସ୍କୁଲରେ ବିକଶିତ କରାଯିବ । ଓଡ଼ିଶାରେ ପ୍ରାୟ ୮୦୦ଟି ସ୍କୁଲ ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା ରହିଛି । ଏହି ସ୍କୁଲଗୁଡିକରେ ଉତ୍ସାହଭରା ପରିବେଶରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ, ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ କରାଯିବ । ପିଏମ୍ ଶ୍ରୀ ସ୍କୁଲଗୁଡିକ କେବଳ ଜ୍ଞାନର ବିକାଶ ଉପରେ ଗୁରୁତ୍ୱ ଦେବ ନାହିଁ ବରଂ ଦକ୍ଷତା ସୃଷ୍ଟି କରିବା ଦିଗରେ ମଧ୍ୟ ସହାୟକ ହେବ । ଏଥିରେ ଛାତ୍ରଛାତ୍ରୀଙ୍କ ଯତ୍ନ ନିଆଯିବା ସହ ସେମାନଙ୍କ ପାଠପଢା ପାଇଁ ଉତ୍ତମ ଭିତ୍ତିଭୂମି ଏବଂ ଉପଯୁକ୍ତ ସମ୍ବଳ ସହିତ ଅନେକ ଅଭିଜ୍ଞତା ଆଧାରିତ ଶିକ୍ଷା ପ୍ରଦାନ କରାଯିବ ।