ଭୁବନେଶ୍ୱରରେ ପହଞ୍ଚିଛନ୍ତି ୪ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝୀ । ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ଏହି ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ୪ ରାଜ୍ୟର ମୁଖ୍ୟମନ୍ତ୍ରୀ ଆଜି ଶପଥ ସମାରୋହରେ ଯୋଗଦେବେ।
ନୂଆ ସରକାରର ଶପଥ ଗ୍ରହଣ ଉତ୍ସବ କାର୍ୟ୍ୟକ୍ରମ ପାଇଁ ଜନତା ମଇଦାନରେ ସବୁ ପ୍ରକାର ପ୍ରସ୍ତୁତି ଏକ ପ୍ରକାର ଶେଷ ହୋଇସାରିଛି। ଏହି କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଅନ୍ୟ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କ ସମେତ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଏହି ଶପଥ ଉତ୍ସବରେ ଯୋଗଦେବେ।
ଅନ୍ୟପକ୍ଷରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ଭବ୍ୟ ଆୟୋଜନ ହୋଇଛି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ । ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି।
ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ହେବେ ଉପମୁଖ୍ୟମନ୍ତ୍ରୀ।