କାଳବୈଶାଖୀ ବର୍ଷା: ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ କାଳବୈଶାଖୀ ବର୍ଷାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି । ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୧୯ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆସନ୍ତାକାଲି ପାଇଁ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଥିମଧ୍ୟରୁ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଳବୈଶାଖୀ ବର୍ଷାକୁ ନେଇ ରାଜ୍ୟବାସୀଙ୍କୁ ଏସଆରସି ସତର୍କ କରାଇଛନ୍ତି। ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି । ଜିଲ୍ଲାପ୍ରଶାସନକୁ କାଳବୈଶାଖୀ ଜନିତ କ୍ଷୟକ୍ଷତି ନେଇ ତୁରନ୍ତ ରିପୋର୍ଟ ଦେବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।