ଅଯୋଧ୍ୟା, ହାଇଦ୍ରାବାଦ ଓ ସୁରଟରେ ହେବ ଓଡିଶା ଭବନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ନୂଆଦିଲ୍ଲୀର ନୂତନ ଓଡିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି । ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି ।
ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିର୍ମିତ ହେବାକୁ ଥିବା ନୂଆ ଭବନରେ ଓଡିଶାର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟଙ୍କୁ ପରାମର୍ଶ ଦେଇଥିଲେ । ଏହି ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ନିଦେ୍ର୍ଦଶ ଦେଇଥିଲେ । ବୈଠକରୁ ଜଣାଯାଇଛି ଯେ, ସମୁଦାୟ ୪,୭୬୧ ବର୍ଗ ମିଟର ନିର୍ମାଣ ଅଞ୍ଚଳରେ ଏହି ଏ+୬ ଭବନ ନିର୍ମାଣ କରାଯିବ । ଏଥିରେ ସମୁଦାୟ ୪୫ଟି ବିଭିନ୍ନ ବର୍ଗର ସୁଇଟ୍ ଉପଲବ୍ଧ ହେବ । ଭବନରେ ଏକ ସମ୍ମିଳନୀ କକ୍ଷର ମଧ୍ୟ ବ୍ୟବସ୍ଥା କରାଯାଇଛି । ସେହିଭଳି ମୁମ୍ବାଇକୁ ଯେହେତୁ ଓଡିଶାରୁ ଅଧିକ ସଂଖ୍ୟକ କ୍ୟାନସର ରୋଗୀ ଚିକିସôିତ ହେବାକୁ ଯାଉଛନ୍ତି, ତେଣୁ ମୁମ୍ବାଇ ଓଡିଶା ଭବନରେ ଅଧିକ କୋଠରୀ ବ୍ୟବସ୍ଥା କରିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥିସହିତ ଓଡିଶାରୁ ଅଯୋଧ୍ୟାକୁ ଅଧିକ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଯାଉଥିବାରୁ ଏବଂ ହାଇଦ୍ରାବାଦ ଓ ସୁରଟରେ ବହୁଳ ଭାବେ ଓଡିଆ ଲୋକ ରହୁଥିବାରୁ ଅଯୋଧ୍ୟା, ହାଇଦ୍ରାବାଦ ଓ ସୁରଟରେ ଓଡିଶା ଭବନ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବୈଠକରେ କୋଲକତା ଉକôଳ ଭବନର ମରାମତି ଓ ନବୀକରଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ ମିଶ୍ର ଓ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।