ଆଜି ପୁଣି ଲଘୁଚାପ : ୨୭ ଯାଏଁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ଦକ୍ଷିଣ ଆଣ୍ଡାମାନ ସାଗର ଓ ଆଖପାଖ ଅଞ୍ଚଳ ଉପରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ରହିଛି । ଏହା ପ୍ରଭାବରେ ଆସନ୍ତାକାଲି ଦକ୍ଷିଣ ପୂର୍ବ ଏବଂ ତତସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଅପରପକ୍ଷରେ ଆସନ୍ତା ୨୭ ପର୍ଯ୍ୟନ୍ତ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି । ଆସନ୍ତାକାଲି ଦକ୍ଷିଣ ଊପକୂଳ ଓଡ଼ିଶା, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନୟାଗଡ଼ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଅପରପକ୍ଷରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକା ପବନର ବେଗ ୩୦ରୁ ୪୦ କିଲୋମିଟର ରହିବ । ଏତଦବ୍ୟତୀତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କୁହୁଡ଼ି ପଡ଼ିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪ ଡିଗ୍ରୀରୁ ଅଧିକ ବଢ଼ିଥିବାବେଳେ ଆଉ ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪ ଡିଗ୍ରୀରୁ ଅଧିକ ଖସିଆସିଛି । ସେହିପରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାର କିଛି ସ୍ଥାନରେ ତାପମାତ୍ରାରେ ବୃଦ୍ଧି ପରିଲକ୍ଷିତ ହୋଇଛି ।