ଏସ୍ସିବିରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟାର ଟ୍ରମା ସେଣ୍ଟର୍ 

 ଭୁବନେଶ୍ୱର : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ୍ କଲେଜ୍ ଓ ହସ୍ପିଟାଲ୍ରେ ପ୍ରତିଷ୍ଠା ହେବ ଏକ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ । ଏହାଦ୍ୱାରା ବିଭିନ୍ନ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ମିଳି ପାରିବ ତୁରନ୍ତ ଉନ୍ନତ ଚିକିସôା । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି । ଏହି ଟ୍ରମା ସେଣ୍ଟର୍ଟି କେନ୍ଦ୍ର ସରକାରଙ୍କ "ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନା'ରେ କାର୍ଯ୍ୟକାରୀ କରାଯିବ । ଏଥିପାଇଁ କେନ୍ଦ୍ର ସରକାର ୬୦ ପ୍ରତିଶତ ଅର୍ଥ ବିନିଯୋଗ କରିବା ବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥ ବିନିଯୋଗ କରିବେ । କଟକ ଏସ୍ସିବିରେ ଏହି ଟ୍ରମା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ୨୦୨୪ ଜୁଲାଇ ୨ ତାରିଖରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡାଙ୍କ ନିକଟକୁ ପତ୍ର ଲେଖି ଅନୁରୋଧ କରିଥିଲେ । କେନ୍ଦ୍ର ସରକାର ଏହାକୁ ନୀତିଗତ ଅନୁମୋଦନ ଦେବା ପରେ ଏବେ ଏହା ରାଜ୍ୟ ସରକାରଙ୍କ ଅନୁମୋଦନ ମଧ୍ୟ ହାସଲ କରିଛି । ଏହାପରେ ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯିବ ଏବଂ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ ।