ଦେବଗଡ଼ ପାଇଁ ୨୦୫ କୋଟିର ପ୍ରକଳ୍ପ


ଭୁବନେଶ୍ୱର/ଦେବଗଡ଼: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ ୨୦୫ କୋଟି ଟଙ୍କାର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି  । ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩ ଶହ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ଉଦଘାଟିତ ହୋଇଛି  ।
ସୂଚନାଥାଉକି, ଏହି ପ୍ରକଳ୍ପଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି  । ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ  । ଏଥିରେ କେନ୍ଦୁପତ୍ର ତୋଳାଳୀଙ୍କୁ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡା ପାଇଁ ୨୦୦ ଟଙ୍କା, ତୋଳାଳୀ ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ଶହେ ଟଙ୍କା, ବନ୍ଧାଳିମାନଙ୍କ ପାଇଁ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭ ଶହ ଟଙ୍କା ପ୍ରଦାନ କରାଯିବ  । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ  ।
ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଦେବଗଡ ଜିଲ୍ଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି  । ଆମେ ତାହାର ସଠିକ ଉପଯୋଗ କରି ଜିଲ୍ଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟସ୍ରୋତରେ ଯୋଡିବୁ  । ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଏବଂ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ । ଦେବଗଡ ଜିଲ୍ଲାକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ  । ଓଡିଶାର ଜନସାଧାରଣକୁ ଯେଉଁ ପ୍ରତିଶ୍ରୁତି ଦେଇ ଆମେ ଲୋକଙ୍କ ସେବା କରିବାର ଦାୟିତ୍ୱ ନେଇଛୁ, ତାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ଆମେ ଗୋଟିଏ ମିନିଟ ବି ନଷ୍ଟ କରିନାହୁଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ  । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ଦେବଗଡ  ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ  । କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବିନ୍ଦ୍ର ଚନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡଃ ବିଶ୍ୱମୋହନ ମିଶ୍ର ଧନ୍ୟବାଦ ଦେଇଥିଲେ  ।