ବଜରଙ୍ଗ ଦଳର ବିଶାଳ ରାଲି
ଚିଲିକା : ବାଲୁଗାଁ-ବାଣପୁର ସହରରେ ଆଜି ଅନୁଷ୍ଠିତ ହୋଇଯାଇଛି ବିଶାଳ ରାଲି । ହନୁମାନ ଜୟନ୍ତୀ ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ବଜରଙ୍ଗ ଦଳ ପକ୍ଷରୁ ଅନୁଷ୍ଠିତ ହୋଇଥିଲା । ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡର ଆହ୍ୱାନକ୍ରମେ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ଶହ ଶହ ରାମ ଭକ୍ତ । ଶୋଭାଯାତ୍ରାଟି ଅପରାହ୍ନରେ ବାଲୁଗାଁ ମାମୁଁ ଭଣଜା ପାହାଡ଼ ନିକଟରୁ ବାହାରି ସାରା ବାଲୁଗାଁ ସହର ପରିକ୍ରମା କରିଥିଲା ଏବଂ ଏହାପରେ ବାଣପୁର ସହର ପରିକ୍ରମା କରି ପରିଶେଷରେ ପଲଟନ ପଡିଆ ନିକଟରେ ସମାପ୍ତ ହୋଇଥିଲା । ଶୋଭାଯାତ୍ରା ସମୟରେ ଉଭୟ ସହର ‘ଜୟ ଶ୍ରୀରାମ’, ‘ଭାରତ ମାତାକି ଜୟ’ ଆଦି ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା । ତେବେ ପ୍ରତିବର୍ଷ ପରି ଚଳିତ ଥର ମଧ୍ୟ ହନୁମାନ ଜୟନ୍ତୀରେ ଏପରି ଦୃଶ୍ୟ ଦେଖିଲେ ବାଣପୁର-ବାଲୁଗାଁବାସୀ । ବିରାଟକାୟ ହନୁମାନଙ୍କ ପତାକା ଧରି ରାମଭକ୍ତ ମାନେ ନାଚି ନାଚି ସହର ପରିକ୍ରମା କରିଥିଲେ । ରାଲିରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୁରୀ ସାଂସଦ ଡ. ସମ୍ବିତ ପାତ୍ରଙ୍କ ସମେତ ବହୁ ବିଶିଷ୍ଟ ନେତୃ ଉପସ୍ଥିତ ଥିଲେ । ଏସ୍ଡିପିଓ ସଞ୍ଜୟ ପଟ୍ଟନାୟକ, ଆଇଆଇସି ଜୟପ୍ରକାଶ ପରିଡ଼ା, ବାଣପୁର ଆଇଆଇସି ରମେଶ ଦେବତାଙ୍କ ତତ୍ୱାବଧାନରେ କଡା ସୁରକ୍ଷା ମଧ୍ୟରେ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା