ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରା ପାଇଁ ପ୍ରସ୍ତୁତି 

ବାଲେଶ୍ୱର: ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା୨୦୨୪-୨୫ ଅନୁଯାୟୀ ଜିଲ୍ଲାସ୍ତରରେ ବରିଷ୍ଠ ନାଗରିକମାନଙ୍କର ଚୟନ କରାଯାଇ ତୀର୍ଥଯାତ୍ରା ଆୟୋଜନ କରାଯାଉଛି । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର ଓ ଯାଜପୁର ଆଦି ୫ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଫେବୃଆରୀ ୨୭ ତାରିଖ ଦିନ ବାଲେଶ୍ୱର ରେଳ ଷ୍ଟେସନ ଠାରୁ ଶିରଡ଼ି-ନାଶିକ ଅଭିମୁଖେ ଯାତ୍ରା କରିବେ । ଏହି ଯୋଜନା ଅନ୍ତର୍ଗତ ୭୭୫ ଜଣ ବରିଷ୍ଠ ତୀର୍ଥଯାତ୍ରୀ ଓ ସମ୍ମିଳିତ ଜିଲ୍ଲା ଗୁଡିକର ୨୫ଜଣ ଏସ୍କର୍ଟ ଅଧିକାରୀ ରେଳ ବିଭାଗ ଯୋଗାଇ ଦେଉଥିବା ସ୍ୱତନ୍ତ୍ର ରେଳ ଯୋଗେ ଯାତ୍ରା କରିବେ । ଏହି ପରିପ୍ରେକ୍ଷୀରେ ଅତିରିକ୍ତ ଜିଲ୍ଲାପାଳ ସୁଧାକର ନାୟକଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୪-୨୫ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ଅନୁଯାୟୀ ଯାତ୍ରା ନିମନ୍ତେ ଚୟନ ହୋଇଥିବା ଯାତ୍ରୀମାନେ ଫେବୃଆରୀ ୨୬ ତାରିଖରେ ଜିଲ୍ଲା ପ୍ରଶାସନମାନଙ୍କର ସହାୟତାରେ ନିଜ ଗ୍ରାମରୁ ସଦର ମହକୁମା ଏବଂ ସେଠାରୁ ବାଲେଶ୍ୱର ଆସି ପହଞ୍ଚôବା ପରେ ସେଠାରେ ସେମାନଙ୍କର ପଞ୍ଜିକରଣ କରାଯାଇ ଭବ୍ୟ ସ୍ୱାଗତ କରାଯିବ ଓ ଯାତ୍ରା ଦିନ ବାଲେଶ୍ୱର ଜିଲ୍ଲା ପ୍ରଶାସନ ବ୍ୟବସ୍ଥାରେ ତୀର୍ଥଯାତ୍ରୀମାନଙ୍କୁ ଷ୍ଟେସନ ଅଣାଯାଇ ପାରମ୍ପରିକ ନୃତ୍ୟ ବାଦ୍ୟ ମଧ୍ୟରେ ସେମାନଙ୍କର ବିଦାୟ କରାଯିବ । ଉକ୍ତ ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିଶ୍ୱରଞ୍ଜନ ନାୟକଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।