ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ପୁରୀ ହେବ ମହାନଗର ନିଗମ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ପୁରୀ ହେବ ମହାନଗର ନିଗମ

ଭୁବନେଶ୍ବର/ପୁରୀ: ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା। 'ପୁରୀ'କୁ ମହାନଗର ନିଗମରେ ପରିଣତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରତିଦିନ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ଓ ଏଠାକାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ମହାନଗର ନିଗମ ସଂଖ୍ୟା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଭୁବନେଶ୍ବର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲାରେ ମହାନଗର ଶାସନ ବ୍ୟବସ୍ଥା ଥିବାବେଳେ ପୁରୀକୁ ଏହି ତାଲିକା ଅନ୍ତର୍ଭୁକ୍ତ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୁରୀ ଆଉ ପୌରାଞ୍ଚଳରେ ସୀମିତ ରହିବ ନାହିଁ। ଏହାର କଳେବର ବୃଦ୍ଧି ପାଇବ। ଶ୍ରୀ ଜଗନ୍ନାଥ ସଂସ୍କୃତି, କିମ୍ବଦନ୍ତୀ ଓ ଇତିହାସର ପ୍ରଚାର ପ୍ରସାର ହେବ। ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ନାଗରିକମାନଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ସହ ବହୁବିଧ ସେବା ଦ୍ୱାରା ରାଜ୍ୟ ସରକାର ଏକ ବିରାଟ ସକାରାତ୍ମକ ପରିବର୍ତ୍ତନ ଲକ୍ଷ୍ୟ ରଖିଛନ୍ତି। 

ବର୍ଷସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ ପଞ୍ଚାଯତକୁ ସାମିଲ କରି ପୁରୀ ମହାନଗର ନିଗମ ଗଠିତ ହେବ। ଏହା ଦ୍ଵାରା ପୁରୀ ସଦର ଏବଂ ବ୍ରହ୍ମଗିରି ବ୍ଲକର ପ୍ରାୟ ସାତରୁ ଆଠଗୋଟି ଗ୍ରାମ ପଞ୍ଚାୟତକୁ ସାମିଲ କରାଯିବ, ଯାହା ଫଳରେ ଏହି ପଞ୍ଚାୟତବାସୀ ସହର ପରି ସୁବିଧା ପାଇପାରିବେ। ଆସନ୍ତା କାଲି ଠାରୁ ଏ ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା ଆରମ୍ଭ ହେବ।