ରଜରେ ବିଶେଷ ଖାଦ୍ୟ

ରଜରେ ବିଶେଷ ଖାଦ୍ୟ

 ରଜ ପାନ : 
ପାନ: ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା  । ପ୍ରୀତିର ବନ୍ଧନ ହେଉଛି ପାନ  । ପ୍ରୀତି, ପ୍ରେମ, ବନ୍ଧୁତାର ଲକ୍ଷଣ ଏ ଦେଶରେ ନିର୍ଦ୍ଧାରିତ କରାଯାଇଛି  । ଦିଏ, ନିଏ, ଖାଏ, ଖୁଆଏ, ଗୋପନ କଥା କହେ ଓ ପଚାରେ, ଏ ଛ'ଟି ଆନ୍ତରିକତା ଓ ନିବିଡ଼ତାର କଥା  । ଭୋଜନ ଶେଷରେ ତାମ୍ବୁଳ ସେବା ଏକ ପ୍ରାଣମୟ ବ୍ୟବସ୍ଥା  । ଓଡ଼ିଆଙ୍କ ଠାକୁର ବଡ଼ଠାକୁର ଜଗନ୍ନାଥ ପ୍ରତିଦିନ ଭୋଜନ ଶେଷରେ ତାମ୍ବୁଳ ସେବା କରି ନିଦ୍ରା ଯାଆନ୍ତି  । ପାନ ହେଉଛି ମୁଖବାସ ଓ ପରିତୋଷ  । ରଜ ସହିତ ପାନ ଯୋଡ଼ିହେବା ପଛରେ କଥା ରହିଛି । ଏହା ବନ୍ଧୁତାର ଡେ଼ାରିକୁ ସୁଦୃଢ କରେ ବୋଲି କୁହାଯାଏ  । ରଜରେ ଝିଅମାନେ ସମସ୍ତଙ୍କୁ ପାନ ଦେବାନେବା କରିଥାନ୍ତି  । ଆୟୁର୍ବେଦ ଶାସ୍ତ୍ର ଅନୁସାରେ ପାନ ଜୀର୍ଣ୍ଣକାରକ ଏବଂ କୃମିନାଶକ ହୋଇଥାଏ । ପାନରେ ଦିଆଯାଉଥିବା ଚୂନ ଲୌହଶକ୍ତି ପୂର୍ଣ୍ଣ ଓ ଖଇର ଦାନ୍ତକୁ ମଜଭୁତ କରିଥାଏ  । ପାନ ଖାଇବା ବେଳେ ପତ୍ରରୁ ଶିରା ଛେଦନ କରାଯାଇଥାଏ କାରଣ ପାନଶିରା ହେଉଛି ବୁଦ୍ଧି ବିନାଶିନୀ  । ରଜପାନର ଚମକ ଓ ମହକ ସାରାବର୍ଷର ପାନଠାରୁ ବଳିଯାଏ, ରଜ ଆଭୂଷଣକୁ କରିଦିଏ ଆହୁରି ମୁଗ୍ଧକର । ରଜପାନରେ ଗୁଆ, ଅଳେଇଚ, ଗୁଜୁରାତି, ଭଜା ଧନିଆ, ଚାଉଳ ଓ ନଡିଆ ଖଣ୍ଡ, ଚେରି, ଲବଙ୍ଗ, ଚୁଆ, ପାନ ମହୁରି, ସୁବାସିତ ଜାଫ୍ରାନ କେଶର, ଖଇର ପରି ୧୦ରୁ ୧୨ ପ୍ରକାର ମସଲା ବ୍ୟବହୃତ ହୁଏ  । ଏହାକୁ ବିଭିନ୍ନ ଢଙ୍ଗରେ ତ୍ରିଭଙ୍ଗି, ଚଉଭଙ୍ଗି ଆକୃତି ଦେଇ ଉପରେ ଲବଙ୍ଗ ଖୋସି ଅତି ସୁନ୍ଦର ଭାବେ ଥାଳିରେ ସଜାଇ ଦିଆଯାଏ  । ସାଧାରଣ ଦିନର ପାନଠାରୁ ରଜପାନର ସ୍ୱାଦ ସ୍ୱତନ୍ତ୍ର  । ରଜ ଆସିଲେ ବଜାରରେ ମଧ୍ୟ ପାନର ଦର ବଢିଯାଏ  । ଢ଼ଗରେ ଅଛି-
‘ପାନଖିଆ ରସିକ ପାଟି,
ଖୋଜି ବୁଲୁଥିଲା ରାଜାଙ୍କ ହାତୀ,
ଢାଳି ଦେଇଗଲା ଶିରରେ, ରାଜା ହୋଇଗଲା ରଜରେ’  ।