ଲଘୁଚାପ ଓ ମୌସୁମୀ ସକ୍ରିୟ : ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

 ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବି ସକ୍ରିୟ ରହିଛି  । ଏହା ପ୍ରଭାବରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି  । ଆଜି ଉତ୍ତର ଓଡ଼ିଶାର ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି  । ସେହିପରି କେନ୍ଦୁଝର, ଅନୁଗୁଳ ଓ ବରଗଡ଼ର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି  ।  ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୧୨ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ  । ଆସନ୍ତାକାଲି କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ  । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି  । ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରିହୋଇଛି  । ଅପରପକ୍ଷରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, କଟକ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ଝଟକା ପବନର ବେଗ ୩୦ରୁ ୪୦ କିଲୋମିଟର ରହିବ  । ପ୍ରବଳ ବର୍ଷା ହେବାର ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ଯେତେବେଳେକି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଦେବଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ଝଟକା ପବନର ବେଗ ୩୦ରୁ ୪୦ କିମି ରହିବ  । ଏହାଛଡ଼ା ବଜ୍ରପାତର ବି ସମ୍ଭାବନା ରହିଛି  ।