ସାଧୁତାର ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ସାଧୁତାର ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ
  • ଦୁର୍ନୀତି ଅଭିଯୋଗରେ ୩୦ ଜଣ ବହିଷ୍କୃତ
  • ୬୮ ଜଣଙ୍କ ପେନସନ ବନ୍ଦ

 ଭୁବନେଶ୍ୱର : ଆୟୋଜିତ ଏହି କାର୍ଯ୍ୟକ୍ରମ ଦୁର୍ନୀତି ନିବାରଣ ପାଇଁ କେବଳ ଏକ ପ୍ରତିକାତ୍ମକ କାର୍ଯ୍ୟକ୍ରମ ନୁହେଁ, ଏହା ଦୁର୍ନୀତିଖୋର୍‌ ଅଧିକାରୀଙ୍କୁ ଏବଂ ଦୁର୍ନୀତିରେ ଲିପ୍ତ ସିଷ୍ଟମକୁ ଦୁର୍ନୀତି ପ୍ରତି ଆମ ସରକାର ଶୂନ୍ୟ ସହନଶୀଳ କଠୋର ବାର୍ତ୍ତା ଦେବା ପାଇଁ ଉଦ୍ଦିଷ୍ଟ କାର୍ଯ୍ୟକ୍ରମ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅବସରରେ ଉଦ୍‌ବୋଧନ ଦେଇ କହିଛନ୍ତି । 

   ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଏହି ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେତେବେଳେ ଦୁର୍ନୀତି ଆମ ବ୍ୟବସ୍ଥାରେ ପ୍ରବେଶ କରେ, ସେତେବେଳେ ସାଧାରଣ ଲୋକଙ୍କର ବିଶ୍ୱାସ ଭାଙ୍ଗି ଯାଇଥାଏ । ଦୁର୍ନୀତି ଆମ ଶାସନର ମୂଳଦୁଆକୁ ଦୁର୍ବଳ କରିଥାଏ । ତେଣୁ, ଦୁର୍ନୀତି ବିରୋଧରେ ଲଢିବା କେବଳ ଏକ କର୍ତ୍ତବ୍ୟ ନୁହେଁ, ଏହା ଆମ ସମସ୍ତଙ୍କର ଏକ ନୈତିକ ଦାୟିତ୍ୱ । ସେ କହିଥିଲେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱ ଓ ଦୃଢ ଇଛା ଶକ୍ତି ବଳରେ ଦୁର୍ନୀତି ରୋକିବା ପାଇଁ ଅନେକ ଆଧୁନିକ ଟେକ୍ନୋଲୋଜିର ଉପଯୋଗ କରାଯାଇଛି । ହ୍ୟୁମାନ ଇଣ୍ଟରଫରେନ୍ସକୁ ଦୂର କରି ଜନଧନ, ଆଧାର ଏବଂ ମୋବାଇଲର ଏକତ୍ରିକରଣରେ ଜେଏଏମ ବ୍ୟବସ୍ଥା ହିତାଧିକାରୀଙ୍କ ପାଇଁ କାର୍ଯ୍ୟକାରୀ କରାଯାଇଛି । ଏହି ବ୍ୟବସ୍ଥାରେ ବାଟମାରଣାର ପ୍ରଶ୍ନ ହିଁ ନାହିଁ ।
 
    ରାଜ୍ୟ ଦୁର୍ନୀତି ନିବାରଣ ବିଭାଗକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ଗଠନ ହେବା ପରେ ଦୁର୍ନୀତି ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଥିଲି । ପୂର୍ବ ବ୍ୟବସ୍ଥାକୁ ପରିବର୍ତ୍ତନ କରି ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଛୋଟରୁ ବଡ ସମସ୍ତ ଦୁର୍ନୀତି ଗ୍ରସ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦେଶର ଅଗ୍ରଣୀ ଦୁର୍ନୀତି ବିରୋଧୀ ସଂସ୍ଥା ଭାବେ ସୁନାମ ଅର୍ଜନ କରିଛି । ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଠାରୁ ଆରମ୍ଭ କରି ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ପର୍ଯ୍ୟନ୍ତ କାହାରିକୁ ଛଡାଯାଇନାହିଁ । ଏସବୁ ସମ୍ଭବ ହୋଇଛି ଭିଜିଲାନ୍‌ସ ଅଧିକାରୀ ମାନଙ୍କୁ ସ୍ୱାଧୀନ ଭାବେ କାର୍ଯ୍ୟକରିବାର ଅଧିକାର ପ୍ରଦାନ ଫଳରେ । ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ଦଣ୍ଡ ବିଧାନ ହାର ମଧ୍ୟ ୫୦ ପ୍ରତିଶତରୁ ଅଧିକ ରହିଛି । ଦୁର୍ନୀତି ନିବାରଣ ବିଭାଗ ଆଜିର ଦିନରେ କାହାକୁ କ୍ଷମା କରିବ ନାହିଁ ଏବଂ କାହାକୁ ଛାଡିବ ନାହିଁ ବୋଲି ସେ କହିଥିଲେ । ସେ ଆହୁରି କହିଥିଲେ ଶୂନ୍ୟ ସହନଶୀଳ ନୀତିର ଅଂଶ ଭାବରେ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ୩୦ ଜଣ ସରକାରୀ କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି ଓ ୬୮ ଜଣ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନସନ ବନ୍ଦ କରଯାଇଛି । ଏକ ସ୍ୱଚ୍ଛ ଓ  ଦୁର୍ନୀତି ମୁକ୍ତ ପ୍ରଶାସନ ଆମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ । 
    ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଚ୍ଚୋଟତା ଓ ସାଧୁତାର ଶପଥ ପାଠ କରାଇଥିଲେ । ଶ୍ରେଷ୍ଠ ଦୁର୍ନୀତି ନିବାରଣ ଡିଭିଜନ ଭାବେ କଟକ ଡିଭିଜନ, ଶ୍ରେଷ୍ଠ ୟୁନିଟ୍‌ ଭାବେ ସୁବର୍ଣ୍ଣପୁର ୟୁନିଟ୍‌, ଶ୍ରେଷ୍ଠ ତଦନ୍ତକାରୀ ପୁରୁଷ ଅଧିକାରୀ ଭାବେ ମନୋରଞ୍ଜନ ପାଇକରାୟ, ଶ୍ରେଷ୍ଠ ତଦନ୍ତକାରୀ ମହିଳା ଅଧିକାରୀ ଭାବେ ପ୍ରଣୀତା ରାୟ ଏବଂ ଶ୍ରେଷ୍ଠ ପବ୍ଲିକ ପ୍ରୋସିକ୍ୟୁଟର ଭାବେ ବ୍ରହ୍ମପୁରର ସୁରେନ୍ଦ୍ର ପଣ୍ଡାଙ୍କୁ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଯୋଗ ଦେଇଥିଲେ । ଦୁର୍ନୀତି ନିବାରଣ ବିଭାଗର ମହାନିର୍ଦ୍ଦେଶକ ଯଶୱନ୍ତ କୁମାର ଜେଠୱା କାର୍ଯ୍ୟକ୍ରମକୁ ସମସ୍ତଙ୍କୁ ସ୍ୱାଗତ କରିିଥିଲେ । ଦୁର୍ନୀତି ନିବାରଣ ବିଭାଗର ଅତିରିକ୍ତ ମହାନିର୍ଦ୍ଦେଶକ ଅସୀତ କୁମାର ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ ।